ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ।
ଗଜପତି,୧୦.୮(ମନୋଜପାଢୀ):-ଗଜପତି ଜିଲ୍ଲା ଅନ୍ତର୍ଗତ ନୂଆଗଡ଼ ବ୍ଳକ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଗ୍ରାମମୁଖୀ ପ୍ରଶାସନ ସହିତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଏବଂ ଉପ ଜିଲ୍ଲାପାଳ ଶ୍ରୀ ଅନୁପ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣୀ କରିଥିଲେ। ଶିବିରରେ ମୋଟ ୩୦ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା ବେଳେ ସେଥିମଧ୍ୟରୁ ୧୦ ଗୋଟି ବ୍ୟକ୍ତିଗତ ଏବଂ ୨୦ଗୋଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ଆସିଥିଲା। ଏଥି ମଧ୍ୟରୁ ୨ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଏହି ଅବସରରେ ଦୁଇଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଅନ୍ୟ ଜଣେ ଆବେଦନକାରୀଙ୍କୁ ଆବଶ୍ୟକ ତଦନ୍ତ ପରେ ଆର୍ଥିକ ସହାୟତା ରାଶି ଯୋଗାଇ ଦିଆଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୭ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଥିଲା। ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା।ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ନୂଆଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର, ତହସିଲଦାର ମୋନାଲିସା ଆଚାର୍ଜିଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।
