ଭୁବନେଶ୍ବର: ପୁରୀର ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ବେଳେ ଆଜି ଭୋର୍ରୁ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ପରଲୋକଗତ ଭକ୍ତମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।
