*ବ୍ଲକସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ବିଧାୟକ* ।
ଗଜପତି (ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଉଲ୍ଲାଭଦ୍ରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ ଏବଂ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଗାବରା ତିରୁପତି ରାଓ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା ପ୍ରମୁଖ ଯୋଗ ଦେଇଥିଲେ।ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭା, ସୃଜନଶୀଳତା ଓ କଳାତ୍ମକ ଦକ୍ଷତାର ପରିପ୍ରକାଶ ପାଇଁ “ସୁରଭି” ହେଉଛି ଏକ ଉତ୍ତମ ମଞ୍ଚ। ଏହି ମହୋତ୍ସବ ମାଧ୍ୟମରେ ଶିଶୁମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ ସହ ଆତ୍ମବିଶ୍ୱାସ ଓ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବା ଲକ୍ଷ୍ୟ ରହିଛି।କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀମାନେ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିବା ସହ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ଓ ଶିକ୍ଷା ବିଭାଗର କର୍ମଚାରୀମାନେ ଏହି ଉତ୍ସବରେ ସହଯୋଗ କରିଥିଲେ।ଶେଷରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।
